Spread the love

ରଥଯାତ୍ରା ବା ଘୋଷଯାତ୍ରା ବିଷୟରେ ପ୍ରାଚୀନ କିମ୍ବଦନ୍ତୀ କଣ କୁହେ..

              (୧)

ରଥଯାତ୍ରା ର ଅର୍ଥ ହେଉଛି ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନ‌ନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା।

ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜେ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି । ଋଗ୍ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାହିୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି

               (୨)

କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ।

ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ। ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି।

Leave a Reply

Your email address will not be published. Required fields are marked *