ମାଣବସା_ଗୁରୁବାର
***(ପୌରାଣିକ ଆଖ୍ୟାନ)
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି। ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା “ଧାନବେଣୀ”ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଲକ୍ଷ୍ମୀପୁରାଣକଥା
ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀ ରୂପରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ାହେଲା ତାଳବେତାଳ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁ ଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।
#ପୌରାଣିକ_କଥା
















Leave a Reply