ମାଣବସା ପୁଜା ବିଧୀ ⭕☘️⭕
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ ।[୮] ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗରଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ୱରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା’ ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା’ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।

⭕ ମାଣବସା ଗୁରୁବାର ⭕☘️⭕
ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବର୍ଣ୍ଣିତ । ଏହା ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କୁ ମାଣବସା ଗୁରୁବାର ବାବଦରେ ଜଣାଇ ଦେଶ ଭ୍ରମଣରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଦଳିତ ନାରୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖିବା ଦେଖି ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଦଳିତମାନଙ୍କୁ ଅଛୁଆଁ ଭାବେ ଗଣା ଯାଉଥିବାରୁ ଜଣେ ଦଳିତ ଲୋକର ଘରେ ପାଦ ଦେଇଥିବାକୁ ଅପରାଧ ବିବେଚନା କରି ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ତାଳବେତାଳ ନାମକ ଆଉ ଏକ ପ୍ରାସାଦ ଗଢ଼ାହେଲା । ଲକ୍ଷ୍ମୀ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ । ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ । ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।
ମାଣବସା ଭୋଗ ଓ ନୈବେଦ୍ୟ⭕🌹⭕
ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ ।[୯] ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।
ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।
















Leave a Reply